ଭୁବନେଶ୍ୱର, (ରିପୋଟର୍ସ ପେନ୍): ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛି। ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବା ନେଇ ବଡ଼ ଘୋଷଣା କରିଛି ମୋହନ ସରକାର।
ଆଜି ରାଜ୍ୟର ୪ଟି ଜିଲ୍ଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲା ରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।
ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।