ଆଜି ପଣା ସଂକ୍ରାନ୍ତି ଓ ଜାଣନ୍ତୁ ଏହାର ବିଶେଷତ୍ୱ

0 252

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଓଡିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ । ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡେ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ ।

ପରମ୍ପରା ଅନୁସାରେ, ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧି ଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ । ଏହି ଠେକିକୁ ବସୁନ୍ଧରା ଠେକି ବୋଲି କୁହାଯାଏ । ଛତୁଆ, ଦହି, ଗୁଡ, କଦଳୀ, ଛେନା ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ । ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡାଇ, କାଠ ଗୋଡ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡ ନାଟର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ । ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡିଶାରେ ଏହି ଦିନକୁ ଚଡକପର୍ବ ନାମରେ ପାଳନ କରାଯାଏ ।

ମହା ବିଷୁକ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିର ଏକ ବିଶେଷତ୍ୱ ରହିଛି । ଓଡିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷ ଆରମ୍ଭ ହେଉଥିବାରୁ ଓଡିଆ ପରିବାରରେ ଦେବଦେବୀଙ୍କ ଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି ।

ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁଆ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ସାଇପଡିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ । ପଣାସଂକ୍ରାନ୍ତି ଠାରୁ ରାସ୍ତାକଡରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ ରହିଛି । ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡିଆ କରି ଘଡିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ । ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି ।

ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତୀ ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦ୍‌ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି । ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି ।

ଲୋକକଥା ଅନୁସାରେ ମହାଭାରତ ଯୁଦ୍ଧରେ ପିତାମହ ଭୀଷ୍ମ ଶରଶଯ୍ୟାରେ ମୃତ୍ୟୁକୁ ଅପେକ୍ଷା କରିଥିବାବେଳେ ତାଙ୍କୁ କ୍ଷୁଧା ବା ଶୋଷ ଲାଗିଥିଲା । ଅର୍ଜୁନଙ୍କ ଶରାଘାତରେ ଧରିତ୍ରୀରୁ ନିର୍ଗତ ଜଳଉତ୍ସରେ ସେ ନିଜର ତୃଷା ନିବାରଣ କରିଥିଲେ । ଏହାପରେ ସେ ଯୁଧିଷ୍ଠିରଙ୍କୁ ପାଖକୁ ଡାକି କହିଥିଲେ ଯେ ବିଷୁବ ସଂକ୍ରାନ୍ତିରେ ଯଦି କିଏ ତୃଷାର୍ତ୍ତଙ୍କୁ ଶୀତଳ ଜଳ ପ୍ରଦାନ କରେ ତା’ହେଲେ ସେ ସମ୍ପୂର୍ଣ୍ଣ ପାପମୁକ୍ତ ହେବ । ତେଣୁ ଏହି ଦିନକୁ ଲୋକେ ପୁଣ୍ୟ ଅର୍ଜନ ପାଇଁ ଜଳଛତ୍ରର ବ୍ୟବସ୍ଥା କରୁଥିଲେ । ବର୍ତ୍ତମାନ ସୁଦ୍ଧା ଏହି ପରମ୍ପରା ଜାରି ରହିଛି । ଜଳ ବା ପଣା ପ୍ରଦାନ କରାଯାଉ ଥିବାରୁ ଏହି ଦିନକୁ ଜଳ ସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy