ଓଡ଼ିଶାରେ ଦୋଳ ଓ ହୋଲି

0 77

ଓଡ଼ିଆ ପଞ୍ଜିକା ଅନୁସାରେ ଫାଲଗୁନ ମାସର ପୂର୍ଣ୍ଣିମା ତିଥି ଦୋଳ ପୂର୍ଣ୍ଣିମା ନାମରେ ଅଭିହିତ । ଫାଲଗୁନ ଶୁକ୍ଳ ଦଶମୀ ତିଥିଠାରୁ ଦୋଳଯାତ୍ରା ସାଧାରଣତଃ ଆରମ୍ଭ ହୋଇଥାଏ । ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ରାଧା ଓ କୃଷ୍ଣଙ୍କ ନିକଟରେ ଏହି ଦିନଠାରୁ ଅବିର ଅର୍ପଣ କରାଯାଇଥାଏ । ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ଛୋଟ ଛୋଟ ବିମାନରେ ମହାଡମ୍ବର ସହକାରେ ଗ୍ରାମର ପ୍ରାୟ ପ୍ରତ୍ୟେକଙ୍କ ଦ୍ୱାରକୁ ନିଆଯାଇଥାଏ । ପ୍ରାୟତଃ ପ୍ରତ୍ୟେକ ଦ୍ୱାରରେ ଠାକୁରଙ୍କୁ ଭୋଗ ଅର୍ପଣ କରାଯିବା ସଙ୍ଗେସଙ୍ଗେ ପୁରୋହିତଙ୍କୁ ମଧ୍ୟ ଦକ୍ଷିଣା ଦିଆଯାଇଥାଏ । ଠାକୁରଙ୍କ ଉଦ୍ଦେଶ୍ୟରେ ପ୍ରତ୍ୟେକ ଦ୍ୱାରରେ ଅର୍ପିତ ଭୋଗକୁ ଦ୍ୱାରୀ ଭୋଗ କୁହାଯାଇଥାଏ । ଦୋଳପୂର୍ଣ୍ଣମୀ ଦିନ ସାଧାରଣତଃ ଠାକୁରମାନଙ୍କୁ ମନ୍ଦିରର ଦକ୍ଷିଣପୂର୍ବ ଦିଗରେ ନିର୍ମିତ ହୋଇଥିବା ଏକ ମଣ୍ଡପ ଉପରକୁ ନିଆଯାଇଥାଏ । ସେହି ମଣ୍ଡପର ନାମ ଦୋଳ ମଣ୍ଡପ । ସେଠାରେ ପୂଜାର୍ଚ୍ଚନା କରାଯିବା ସଙ୍ଗେସଙ୍ଗେ ଠାକୁରମାନେ ଦୋଳି ଖେଳନ୍ତି ଓ ସେଠାରେ ନାଲି ଅବିର ଅର୍ପଣ କରାଯାଇଥାଏ ।

ସାରା ଓଡ଼ିଶାର ପୁରପଲ୍ଲୀ ଫଗୁ ଦଶମୀଠାରୁ ଦୋଳଯାତ୍ରାର ଉତ୍ସାହ ଉଦ୍ଦୀପନାରେ ଝୁମି ଉଠେ । ଗାଁ ଗାଁରେ ରାଧାକୃଷ୍ଣ ମନ୍ଦିରରେ କିମ୍ବା ଶ୍ରୀଜଗନ୍ନାଥ ମନ୍ଦିରରେ ଚଳନ୍ତି ପ୍ରତିମାକୁ ଦୋଳା ବା ବିମାନରେ ବସାଇ ଗ୍ରାମ ପରିକ୍ରମା ଆରମ୍ଭ କରାଯାଏ ଏବଂ ଦୁଆର ଦୁଆର ବୁଲି ଭୋଗ ଖାଆନ୍ତି ଠାକୁରେ । ଏହା ଏପରି ଏକ ସାମୁହିକ ଉତ୍ସବରେ ପରିଣତ ହୋଇଛି ଯେ ଖୋର୍ଦ୍ଧା ନିକଟବର୍ତ୍ତୀ କେତେକ ଗ୍ରାମରେ ଯଥା- ଗଡ଼ବାଣି, ମାଣିକଗୋଡାରେ – ଯେଉଁଠାରେ ମୁସଲମାନ ଦଳବେହେରା ରାଜାଙ୍କଦ୍ୱାରା ନିଯୁକ୍ତ ହେଇଥିଲେ ବା ହିନ୍ଦୁ ଦଳବେହେରା ପରବର୍ତ୍ତୀ ସମୟରେ ମୁସଲମାନ ଧର୍ମ ଗ୍ରହଣ କରିଥିଲେ – ସେମାନଙ୍କୁ ଦୁଆରେ ମଧ୍ୟ ପ୍ରଭୁ ଭୋଗ ଖାଇଥାନ୍ତି ।

ସେହିପରି ଶୈବପୀଠ ସହିତ ବୈଷ୍ଣବ ଭକ୍ତ ଓ ପୀଠର ସୌହାର୍ଯ୍ୟ ବୃଦ୍ଧିରେ ଦୋଳ ମେଲଣ ଓ ଦୋଳ ମଣ୍ଡପ ସାହାଯ୍ୟ କରିଥାଏ । ସାଧାରଣତଃ ଶୈବ, ଶାକ୍ତ କିମ୍ବା ଅନ୍ୟ ନିର୍ବିବାଦୀୟ ପୀଠରେ ବା ତାଙ୍କ ନିକଟରେ ଆୟୋଜିତ ହୋଇଥାଏ ଦୋଳ ମେଲଣ । ସେଠାରେ ପଞ୍ଚରାତ୍ର ବ୍ୟାପୀ ଚାଚେରୀରେ ସନ୍ଧ୍ୟା ଠାରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ଗ୍ରାମ ପରିକ୍ରମା ଓ ପରିଭ୍ରମଣ କରୁଥିବା ରାଧାକୃଷ୍ଣଙ୍କ ବିମାନ ଆସି ସାମୟିକ ରହିଥାଏ । ସାରା ଓଡ଼ିଶାର ବିଭିନ୍ନ ସ୍ଥାନରେ ଏହି ମେଲଣର ଅନନ୍ୟ ପରମ୍ପରା, ଐତିହ୍ୟ ଓ ନାମକରଣ ରହିଛି ।

Get real time updates directly on you device, subscribe now.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy