ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ପ୍ରାରମ୍ଭିକ ବୈଠକ

0 67

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ନୂତନ ଭାବେ ଯୋଗଦେଇଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଯୋଗଦାନ କରିଥିଲେ । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସଂପର୍କରେ ଆଲୋକପାତ କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର ସୁନାମ ରହିଛି । ନବ ଗଠିତ ସରକାରଙ୍କ ନିର୍ବାଚନ ଇସ୍ତାହାରକୁ ଆଖି ଆଗରେ ରଖି ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡିକର କାର୍ଯ୍ୟାନ୍ୱୟନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ସମସ୍ତ ଯୋଜନାର କାର୍ଯ୍ୟକାରିତା ପାଇଁ ଯେପରି ଫଳପ୍ରଦ ପ୍ରୟାସ ରହିବ, ସେ ସଂପର୍କରେ ସେ ବହୁ ଗଠନମୂଳକ ପରାମର୍ଶ ଦେଇଥିଲେ ।

ବୈଠକରେ ଆଗାମୀ ବଜେଟ୍ ଉପସ୍ଥାପନ, ପୁରୀ ରଥଯାତ୍ରାର ସୁପରିଚାଳନା, ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା । ବିଭିନ୍ନ ବିଭାଗର କାର୍ଯ୍ୟରେ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତାରେ ଛୋଟ ଛୋଟ ସମସ୍ୟା ରହୁଥିଲେ କାର୍ଯ୍ୟକୁ ବିଳମ୍ବିତ ନକରି ଶୀଘ୍ର ଶେଷ କରାଯିବା, କାର୍ଯ୍ୟରେ ସୃଜନଶୀଳତା, ସ୍ୱଚ୍ଛତା ଓ ସୁପ୍ରଶାସନ ଦିଗରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଗୁରୁତ୍ୱାରୋପ କରିଛନ୍ତି । ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା କରିଥିଲେ ।

ସଚିବମାନେ ବିଭିନ୍ନ କାର୍ଯ୍ୟରେ ଅଭିନବତ୍ୱ ଆଣିବା, ବୈଷୟିକ ଜ୍ଞାନ କୌଶଳର ଉପଯୋଗ ଏବଂ ଉତ୍ତରଦାୟିତ୍ୱ ପ୍ରତି ସେ ଗୁରୁତ୍ୱାରୋପ କରିଥିଲେ । ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ସମସ୍ତ ସଚିବ ମାନଙ୍କର ସହଯୋଗ କାମନା କରିଛନ୍ତି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

Privacy & Cookies Policy